ଭୁବନେଶ୍ୱର : ପଶ୍ଚିମ ଓଡିଶାର ଏକ କୃଷି ଭିତ୍ତିକ ପର୍ବ ହେଉଛି ନୂଆଁଖାଇ ପରବ । ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ। ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ନିଜର ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।
ସେ ଧନୀ ହେଉକି ଗରିବ। ଗ୍ରାମ ହେଉ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ଯଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ। ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା। ଏହି ପର୍ଵ ଏବେ କେବଳ ପଶ୍ଚିମ ଓଡ଼ିଶାରେ ସୀମିତ ହୋଇ ରହିନାହିଁ। ରାଜ୍ୟ ବାହାରେ ତଥା ବିଦେଶରେ ମଧ୍ୟ ନୂଆଖାଇ ପର୍ବ ପାଳନ ହେଉଛି। ପଶ୍ଚିମ ଓଡିଶାର ଏହି ମହାନ କୃଷି ଭିତ୍ତିକ ପର୍ବରେ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସଂଗଠନ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ। ମହାମାରୀକୁ ମୁକାବିଲା କରିବା ପାଇଁ ସମଗ୍ର ରାଜ୍ୟବାସୀଙ୍କୁ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ଏବଂ ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ମା’ସମଲେଶ୍ୱରୀ ଆଶୀର୍ବାଦ କରନ୍ତୁ ବୋଲି ପ୍ରଣବ ପ୍ରକାଶ ଦାସ ପ୍ରାର୍ଥନା କରିଛନ୍ତି ।ଏଥିସହିତ ସେ ସମସ୍ତଙ୍କର ସୁଖ, ସମୃଦ୍ଧି କାମନା କରିଛନ୍ତି ।